ପଞ୍ଚକ

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପବିତ୍ର ପଞ୍ଚକ

ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଏହା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା ।[୧] ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି ।[୨] ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥାନ୍ତି ।

ପଞ୍ଚକରେ ଡଙ୍ଗା ଭସା

କିମ୍ବଦନ୍ତୀ

କିମ୍ବଦନ୍ତୀ ଅନୁସାରେ ବଗସବୁ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରହନ୍ତି ବୋଲି କଥିତ ଥିବାରୁ ଏହାକୁ "ବକ ପଞ୍ଚକ" ମଧ୍ୟ କୁହାଯାଏ ।[୩] ଶର ଶଯ୍ୟା ଉପରେ ଶାୟିତ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ସେ ଭୀଷ୍ମଙ୍କୁ କହିଲେ, "ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ଜଳର ଇଚ୍ଛା କରିଛନ୍ତି । ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯାହାଦ୍ୱାରା ଆପଣଙ୍କର ଦେହମନ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ ଓ ଏହା ପ୍ରତିବର୍ଷ ପାଳିତ ହେବ" । ସାଧାରଣତଃ ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଲୋକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନକରନ୍ତି ।[୪] କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଏକଲକ୍ଷ ତୁଳସୀପତ୍ର ଚଢ଼ାଇ ବିଷ୍ଣୁଙ୍କୁ ପୂଜାକଲେ ସମସ୍ତ ଦେବତା ପ୍ରସନ୍ନ ହୋଇ ବର ପ୍ରଦାନ କରନ୍ତି ବୋଲି ଲୋକ ବିଶ୍ୱାସ ମଧ୍ୟ ରହିଛି ।[ଆଧାର ଲୋଡ଼ା]

ଶ୍ରୀମନ୍ଦିରରେ ପଞ୍ଚକ

ଏହି ଅବସରରେ ଜଗନ୍ନାଥ ମନ୍ଦିରରେ ଠାକୁରମାନଙ୍କୁ ଆକର୍ଷଣୀୟ ବେଶରେ ସୁସଜ୍ଜିତ କରାଯାଏ ।

ପ୍ରତ୍ୟହ ଅବକାଶ ନୀତି ଶେଷହେବା ପରେ ତିନିଠାକୁରଙ୍କୁ ଏହିସବୁ ବେଶରେ ସଜ୍ଜିତ କରାଯାଏ । ବେଶ ଥାଇ ଠାକୁରମାନଙ୍କ ଗୋପାଳବଲ୍ଲଭ, ସକାଳଧୂପ, ବାଳଧୂପ ଓ ଭୋଗମଣ୍ଡପ ନୀତି ଆଦି ଅନୁଷ୍ଠିତ ହୋଇଥାଏ । ଭୋଗମଣ୍ଡପ ନୀତି ଶେଷହେବା ପରେ ଏହି ବେଶ ଓ ଅଳଙ୍କାର ଆଦି ମଇଲମ ହୋଇ ମଧ୍ୟାହ୍ନଧୂପ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ଜଗନ୍ନାଥଙ୍କ ପଞ୍ଚକ ପାଞ୍ଚଦିନ ଏହି ବେଶ ଦର୍ଶନ କରିବାକୁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଥାଏ । କାର୍ତ୍ତିକ ମାସରେ ପଞ୍ଚକ ଛଅ ଦିନ ପଡ଼ିଲେ ମଳତିଥି ଦିନ ଜଗନ୍ନାଥଙ୍କର ନାଗାର୍ଜୁନ ବେଶ ଅନୁଷ୍ଠିତ ହୁଏ । ଅତୀତରେ ୧୯୯୫ ମସିହା ନଭେମ୍ବର ୧୬ ତାରିଖ ଦିନ କାର୍ତ୍ତିକ ମଳ ତ୍ରୟୋଦଶୀ ବୁଧବାର ଦିନ ଦିନ ଜଗନ୍ନାଥଙ୍କର ଏହି ନାଗାର୍ଜ୍ଜୁନ ବେଶ ଅନୁଷ୍ଠିତ ହୋଇଥିଲା । ଆଗାମୀ ନାଗାର୍ଜ୍ଜୁନ ବେଶ ୨୦୨୦ ମସିହା ନଭେମ୍ବର ୨୭ ତାରିଖ ଦିନ କାର୍ତ୍ତିକଶୁକ୍ଳ ଦ୍ୱାଦଶୀ ମଳତିଥିରେ ଅନୁଷ୍ଠିତ ହେବ ।[୫]

ଆଧାର

ବାହାର ଆଧାର